ଅନୁଗୁଳ: ଆଜି ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ପରିଷଦର ୬୦ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଛି। ଜିଲ୍ଲା ପରିଷଦ ଅଧ୍ୟକ୍ଷା ବବିତା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଅନୁଗୁଳ ଜିଲ୍ଲାପାଳ ଅବଦାଲ ମୁହମ୍ମଦ୍ ଅଖତରଙ୍କ ସହ ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା, ପାଳଲହଡ଼ା ବିଧାୟକ ଅଶୋକ ମହାନ୍ତି, ଆଠମଲ୍ଲିକ ବିଧାୟକ ନଳିନୀକାନ୍ତ ପ୍ରଧାନ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦଙ୍କ ପ୍ରତିନିଧି ସୁଦୀପ ଗଡ଼ନାୟକ, ଢେଙ୍କାନାଳ ସାଂସଦଙ୍କ ପ୍ରତିନିଧି ରାଜେନ୍ଦ୍ର ସିଂଙ୍କ ସମେତ ଜିଲ୍ଲା ପରିଷଦର ସଦସ୍ୟ ଓ ସଦସ୍ୟା, ପଞ୍ଚାୟତ ସମିତି ଅଧ୍ୟକ୍ଷ ଓ ଅଧ୍ୟକ୍ଷା ପ୍ରମୁଖ ଯୋଗ ଦେଇଥିଲେ।
ପ୍ରଥମେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ ସମସ୍ତଙ୍କୁ ସ୍ବାଗତ କରିବା ସହ ଏପ୍ରିଲରେ ଆୟୋଜିତ ପୂର୍ବ ସଭାର ବିବରଣୀ ପାଠ କରିଥିଲେ। ପରେ ପୂର୍ବ ସଭାରେ ନିଆଯାଇଥିବା ନିଷ୍ପତ୍ତି ଅନୁପାଳନ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା। ବୈଠକରେ ପ୍ରଥମେ ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ପ୍ରଗତି ସମ୍ପର୍କରେ ସମୀକ୍ଷା କରାଯାଇଥିଲା। ଏହି ଅବସରରେ ଉପସ୍ଥିତ ସଭ୍ୟଙ୍କ ଦ୍ବାରା ଦିଆଯାଇଥିବା ବିଭିନ୍ନ ପ୍ରସ୍ତାବକୁ ମଧ୍ୟ ଗ୍ରହଣ କରାଯାଇଥିଲା। ବୈଠକରେ ସବୁ ବିଭାଗର କାର୍ଯ୍ୟ ନେଇ ସମୀକ୍ଷା ହୋଇଥିଲା।
ଅନ୍ୟମାନଙ୍କ ମଧ୍ୟରେ ଆଇଏଏସ୍ ପ୍ରୋବେସନର କସ୍ତୁରୀ ସା, ଜିଲ୍ଲା ପରିଷଦର ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଗୌରବମୟ ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ମଦନ ମୋହନ ପ୍ରଧାନ, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ଜିଲ୍ଲା କ୍ରୀଡ଼ା ଅଧିକାରୀ ଅକ୍ଷୟ କୁମାର ସିଠ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ର ଓ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।