ଅନୁଗୋଳ: ଆସନ୍ତା ଜୁନ୍ ୧୬ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପବିତ୍ର ରଥଯାତ୍ରାର ସୁପରିଚାଳନା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଜିଲ୍ଲାପାଳ ଅବ୍ଦାଲ୍ ମୁହମ୍ମଦ୍ ଅଖ୍ତରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।
ରଥଯାତ୍ରା ଓ ବାହୁଡ଼ା ଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ କରିବାକୁ ବିଧାୟକ ଗୁରୁତ୍ୱାରୋପ କରିଥିଲେ। ଜିଲ୍ଲାପାଳ ନିର୍ଦ୍ଧାରିତ ସମୟ ମଧ୍ୟରେ ରଥ ନିର୍ମାଣ, ରାସ୍ତା ମରାମତି, ପାନୀୟ ଜଳ ଯୋଗାଣ, ସ୍ୱାସ୍ଥ୍ୟ ସେବା ଓ ପର୍ଯ୍ୟାପ୍ତ ଆଲୋକ ବ୍ୟବସ୍ଥା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷକରି ଅନୁଗୋଳ ଉଚ୍ଚ ବିଦ୍ୟାଳୟରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ରାସ୍ତାର ଉନ୍ନତୀକରଣ ଏବଂ ଟ୍ରାଫିକ ବ୍ୟବସ୍ଥା କଡ଼ାକଡ଼ି କରିବାକୁ ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନଙ୍କୁ ପରାମର୍ଶ ଦିଆଯାଇଛି।
ମନ୍ଦିର ପରିଚାଳନା କମିଟିର ସଦସ୍ୟ ଏବଂ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଯୋଗ ଦେଇ ଭକ୍ତମାନଙ୍କ ସୁବିଧା ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଆଲୋଚନା କରିଥିଲେ। ଚଳିତ ବର୍ଷର ରଥଯାତ୍ରାକୁ ସୁଚାରୁ ରୂପେ ସମ୍ପନ୍ନ କରିବା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।