ଅନୁଗୁଳ: ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଏହି ଶିବିରରେ ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ର ଯୋଗ ଦେଇଥିଲେ। ଦାଖଲ ହୋଇଥିବା ସମୁଦାୟ ୭୭ଟି ଅଭିଯୋଗରୁ ୬୯ଟି ବ୍ୟକ୍ତିଗତ ଓ ୮ଟି ଗ୍ରାମ୍ୟ ଭିତ୍ତିକ ଅଭିଯୋଗର ଶୁଣାଣି କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ଏହା ଛଡ଼ା ଦାଖଲ ହୋଇଥିବା ୭୭ଟି ଅଭିଯୋଗ ମଧ୍ୟରୁ ୧୨ଟି ଅଭିଯୋଗର ଆଜିର ଶିବିରରେ ତୁରନ୍ତ ଫଇସଲା କରାଯାଇଥିଲା।
ଶିବିରକୁ ଆସିଥିବା ଲୋକମାନେ ଜମିଜମା ବିବାଦ, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଆଧାର କାର୍ଡ, ଭିନ୍ନକ୍ଷମ ସହାୟତା, ଚିକିତ୍ସାଳୟ ନିର୍ମାଣ ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ରଜନୀକାନ୍ତ ସ୍ୱାଇଁ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ସନ୍ତୋଷ କୁମାର ପ୍ରଧାନ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଳିତ ମୋହନ ବେହେରାଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।