ଅନୁଗୁଳ: ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଶିବିରରେ ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ର ମଧ୍ୟ ଯୋଗ ଦେଇଥିଲେ। ଦାଖଲ ହୋଇଥିବା ସମୁଦାୟ ୪୨ଟି ଅଭିଯୋଗରୁ ୩୪ଟି ବ୍ୟକ୍ତିଗତ ଓ ୮ଟି ଗ୍ରାମ୍ୟ ଭିତ୍ତିକ ଅଭିଯୋଗର ଶୁଣାଣି କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ଦାଖଲ ହୋଇଥିବା ୪୨ ଅଭିଯୋଗ ମଧ୍ୟରୁ ୧୨ଟିର ଆଜିର ଶିବିରରେ ଫଇସଲା କରାଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଜଣକୁ ୨୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା।
ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ହେମନ୍ତ କୁମାର ସିଂହ, ଅନୁଗୁଳ ଉପଜିଲ୍ଲାପାଳ ବରଣ୍ୟନ୍ଦୁ ମହାନ୍ତି ଓ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।