ମୁଖ୍ୟ ଖବର

ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ, ଅଭିଯୋଗ ଜଣାଇଲେ ଅନୁଗୁଳ ଜିଲ୍ଲାବାସୀ

By Angul TV Bureau

November 12, 2024

ଅନୁଗୁଳ: ଅନୁଗୁଳ ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ସୋମବାର ବଅଁରପାଳ ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନ ଯୋଗ ଦେଇଥିବା ବେଳେ ସମୁଦାୟ ୧୨୧ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିରୁ ୧୨୦ଟି ବ୍ୟକ୍ତିଗତ ଓ ଗୋଟିଏ ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବା ବେଳେ ୨ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ରେଡକ୍ରସ ପାଣ୍ଠିରୁ ଜଣଙ୍କୁ ୫ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଥିଲା। ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।

କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅନୀଲ କୁମାର ବେଉରିଆ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ଗୋଷ୍ଠୀ ଉନ୍ନୟନ ଅଧିକାରିଣୀ ଲୋଚନ ଦାସ, ତହସିଲଦାର ରବିନାରାୟଣ ଆଚାର୍ଯ୍ୟ,ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ପ୍ରତିଭା ବାରିକ, ଜିଲ୍ଲା ଯୋଗାଣ ଅଧିକାରିଣୀ ସ୍ମିତା ନାୟକ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ. ନିରୋଦ ଦାସ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ପ୍ରଶାନ୍ତ କୁମାର ମହାନ୍ତି, ଉଦ୍ୟାନ ବିଭାଗର ଉପ-ନିର୍ଦ୍ଦେଶକ ଅମ୍ବର ଲୁଗୁନ୍, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

ସେହିପରି ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ୩୪ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏହି ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ।