ମୁଖ୍ୟ ଖବର

ଅନୁଗୁଳରେ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ, ଲୋକଙ୍କ ଦୁଃଖ ଶୁଣିଲେ ଅଧିକାରୀ

By Angul TV Bureau

January 07, 2025

ଅନୁଗୁଳ : ଅନୁଗୁଳ ଜିଲ୍ଲାପାଳ ଅବଦାଲ୍ ମହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ସୋମବାର ଆଠମଲ୍ଲିକ ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ସମୁଦାୟ ୩୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିରୁ ୩୨ଟି ବ୍ୟକ୍ତିଗତ ଓ ୩ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବା ବେଳେ ୫ଟିର ତୁରନ୍ତ ଫଇସଲା କରାଯାଇଥିଲା। ରେଡକ୍ରସ ପାଣ୍ଠିରୁ ୩ ଜଣଙ୍କୁ ୧୫ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଆଠମଲ୍ଲିକ ଉପଜିଲ୍ଲାପାଳ ଦିଲ୍ଲୀପ କୁମାର ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ଆଠମଲ୍ଲିକ ଏସ୍ ଡିପିଓ ବାଳକୃଷ୍ଣ କଅଁର, ଆଠମଲ୍ଲିକ ତହସିଲଦାର ପ୍ରସନ୍ନ ଟେଟେ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ପ୍ରତିଭା ବାରିକ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରିଣୀ ସ୍ମିତା ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଉପନିର୍ଦ୍ଦେଶକ ଉଦ୍ୟାନ ଅମର ଲୁଗୁନ୍, ଜିଲ୍ଲା ଶିଳ୍ପ କେନ୍ଦ୍ର ପରିଚାଳକ ଶିବାଶିଷ କାନୁନଗୋ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ ଦାସଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

ସେହିପରି ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୁଳ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। କାର୍ଯ୍ୟକ୍ରମରେ ୨୮ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ। ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।