ମୁଖ୍ୟ ଖବର

ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ: ୪ଟି ଅଭିଯୋଗର ହେଲା ତୁରନ୍ତ ଫଇସଲା

By Angul TV Bureau

March 25, 2025

ଅନୁଗୁଳ: ସୋମବାର ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ପାଳଲହଡ଼ା ବ୍ଲକ୍ କାର୍ଯ୍ୟାଳୟରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ସମୁଦାୟ ୬୦ଟି ଅଭିଯୋଗ ଗ୍ରହଣକରାଯାଇଥିଲା। ସେଥିରୁ ୪୮ଟି ବ୍ୟକ୍ତିଗତ ଓ ୧୨ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥ‌ିବା ବେଳେ ୪ଟିର ତୁରନ୍ତ ଫଇସଲା କରାଯାଇଥିଲା। ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ମୋଟ୍‌ ୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା। ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।

କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ପାଳଲହଡ଼ା ଉପଜିଲ୍ଲାପାଳ ରବିନ୍ଦ୍ର କୁମାର ପଟେଲ, ପାଳଲହଡ଼ା ତହସିଲଦାର ଆକାଂକ୍ଷା ମହାପାତ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରିଣୀ ସ୍ମିତା ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଉମାଶଙ୍କର ମିଶ୍ର, ଉପ- ନିର୍ଦ୍ଦେଶକ ଉଦ୍ୟାନ ଅମର ଲୁଗୁନ୍, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।