ଅନୁଗୁଳ: ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି ଶିବିର ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଦାଖଲ ହୋଇଥିବା ମୋଟ ୮୪ଟି ଅଭିଯୋଗରୁ ୭୨ଟି ବ୍ୟକ୍ତିଗତ, ୧୨ଟି ସାମୁହିକ ଅଭିଯୋଗର ଶୁଣାଣି କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି। ଏଥିସହ ପୂର୍ବରୁ ଅଭିଯୋଗ ହୋଇଥିବା ୯ଟି ଅଭିଯୋଗର ସୋମବାର ଶିବିରରେ ଫଇସଲା କରାଯାଇଥିଲା। ଶିବିରକୁ ଆସିଥିବା ଅଭିଯୋଗ କର୍ତ୍ତାମାନେ ସାଧାରଣତଃ ଶିକ୍ଷା, ସ୍ବାସ୍ଥ୍ୟ, ଜମି ଜମା ସଂକ୍ରାନ୍ତୀୟ, କୃଷି, ରାସନ କାର୍ଡ, ରାସ୍ତା, ବିଦ୍ୟୁତ୍, ପ୍ରଧାନମନ୍ତ୍ରୀ ଆବାସ ଗୃହ ଓ ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନର ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଦାଖଲ କରିଥିଲେ।
ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ଆରକ୍ଷୀ ଅଧ୍ୟକ୍ଷକ ଜଗମୋହନ ମୀନା, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ରଜନୀକାନ୍ତ ସ୍ୱାଇଁ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ସନ୍ତୋଷ କୁମାର ପ୍ରଧାନ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଓ କାର୍ଯ୍ୟନିର୍ବାହୀ ଅଧିକାରୀ ଲଳିତ ମୋହନ ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନ, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁଙ୍କ ସହ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।