ମୁଖ୍ୟ ଖବର

​କିଶୋରନଗରରେ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି: ୫ଟି ଅଭିଯୋଗର ତୁରନ୍ତ ସମାଧାନ

By Angul TV Bureau

March 17, 2026

ଅନୁଗୁଳ: ଅନୁଗୁଳ ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ସୋମବାର କିଶୋରନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏହି ଅବସରରେ ସ୍ଥାନୀୟ ଅଞ୍ଚଳର ବିଭିନ୍ନ ସମସ୍ୟାକୁ ନେଇ ସମୁଦାୟ ୪୯ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୪୩ଟି ବ୍ୟକ୍ତିଗତ ସମସ୍ୟା ହୋଇଥିବା ବେଳେ ୬ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗ ରହିଥିଲା। ବିଶେଷ କରି ୫ଟି ଅଭିଯୋଗର ଘଟଣାସ୍ଥଳରେ ତୁରନ୍ତ ଫଇସଲା କରାଯାଇଥିବା ବେଳେ ୨ ଜଣ ଅସହାୟ ବ୍ୟକ୍ତିଙ୍କୁ ଚିକିତ୍ସା ସହାୟତା ନିମନ୍ତେ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ବବିତା ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର ଏବଂ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କ ସମସ୍ୟା ଶୁଣିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବିରଞ୍ଚି ବାଗ, ଆଠମଲ୍ଲିକ ଉପଜିଲ୍ଲାପାଳ ଉପେନ୍ଦ୍ର ଲୋହା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ. ମଦନ ମୋହନ ପ୍ରଧାନ ଏବଂ କିଶୋରନଗର ତହସିଲଦାର ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ବରିଷ୍ଠ ପଦାଧିକାରୀମାନେ ଯୋଗ ଦେଇଥିଲେ।

ଶିବିରକୁ ଆସିଥିବା ଲୋକମାନେ ମୁଖ୍ୟତଃ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ ସେବା, ଗ୍ରାମୀଣ ଆବାସ ଯୋଜନା, ଜମିଜମା ସମ୍ବନ୍ଧୀୟ ଜଟିଳତା ଏବଂ ବିଭିନ୍ନ ବ୍ୟକ୍ତିଗତ ସମସ୍ୟା ନେଇ ଆପତ୍ତି ଦାଖଲ କରିଥିଲେ। ଜିଲ୍ଲାପାଳ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ଅବଶିଷ୍ଟ ଅଭିଯୋଗଗୁଡ଼ିକର ତ୍ୱରିତ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।