ଅନୁଗୁଳ: ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଛେଣ୍ଡିପଦା ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନ, ଛେଣ୍ଡିପଦା ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁମିତ୍ରା ସାହୁ, ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ଅନୁଗୁଳ ଉପଜିଲ୍ଲାପାଳ ମାୟାଧର ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ. ମଦନ ମୋହନ ପ୍ରଧାନଙ୍କ ସମେତ ବିଭିନ୍ନ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।
ଜନଶୁଣାଣି ଶିବିରରେ ମୋଟ ୫୯ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୪୫ଟି ବ୍ୟକ୍ତିଗତ ଓ ୧୪ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି କରାଯାଇଥିଲା। ୯ ଅଭିଯୋଗର ତୁରନ୍ତ ଫଇସଲା ହୋଇଥିବା ବେଳେ ଅନ୍ୟ ଅଭିଯୋଗଗୁଡ଼ିକର ତ୍ୱରିତ ସମାଧାନ ପାଇଁ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
୩ ଜଣ ହିତାଧିକାରୀଙ୍କୁ ରେଡକ୍ରସ ପାଣ୍ଠିରୁ ମୋଟ ୨୭,୫୦୦ ଟଙ୍କାର ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା।
ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ପ୍ରଧାନମନ୍ତ୍ରୀ ଆବାସ, ଜମିଜମା ସମ୍ବନ୍ଧୀୟ ଓ ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ। ଏହି କାର୍ଯ୍ୟକ୍ରମରେ ଛେଣ୍ଡିପଦା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅରବିନ୍ଦ ବେହେରା, ତହସିଲଦାର ମାନସ ରଞ୍ଜନ ରାୟ, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ବିନୋଦ କୁମାର ଦଲାଇ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପ୍ରିୟଙ୍କା ପାଲ, ଉପ-ନିର୍ଦେଶକ ଉଦ୍ୟାନ ଅମର ଲୁଗୁନ, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁ ପ୍ରମୁଖ ଯୋଗ ଦେଇଥିଲେ।











