ଅନୁଗୁଳ: ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଦିନିକିଆ ଅନୁଗୁଳ ଗସ୍ତରେ ଆସିଛନ୍ତି। ଏ ଅବସରରେ ସେ ସ୍ଥାନୀୟ ସର୍କିଟ ହାଉସ୍ ସମ୍ମିଳନୀ କକ୍ଷ ଠାରେ ବିଭିନ୍ନ ବିଭାଗର ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଜିଲ୍ଲାପାଳ ଅବଦାଲ୍ ମହମ୍ମଦ୍ ଅଖତର ମନ୍ତ୍ରୀଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାଗତ କରିଥିଲେ। ବୈଠକରେ ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି, ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ପାଳଲହଡା ବିଧାୟକ ଅଶୋକ ମହାନ୍ତି, ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦଙ୍କ ପ୍ରତିନିଧି ସୁଦୀପ ଗଡ଼ନାୟକ, ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର ଯୋଗ ଦେଇଥିଲେ।
ବୈଠକରେ ମନ୍ତ୍ରୀ ଯୋଗାଣ ବିଭାଗ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ,ଉଠା ଜଳସେଚନ, କ୍ଷୁଦ୍ର ଜଳସେଚନ, ପ୍ରାଣୀ ସମ୍ପଦ, କୃଷି, ଉଦ୍ୟାନ କୃଷି, ଗ୍ରାମ୍ୟ ଗୃହ ନିର୍ମାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ମହିଳା ଓ ଶିଶୁ ବିକାଶ, ସାମାଜିକ ସୁରକ୍ଷା ବିଭାଗ ଆଦି ସମ୍ପର୍କରେ ସମୀକ୍ଷା କରିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ତାଳଚେର ଉପଜିଲ୍ଲାପାଳ ସମୀର କୁମାର ଜେନା, ଅନୁଗୁଳ ଉପଜିଲ୍ଲାପାଳ ମାୟାଧର ବେହେରା, ପାଳଲହଡ଼ା ଉପଜିଲ୍ଲାପାଳ ରବୀନ୍ଦ୍ର କୁମାର ପଟେଲଙ୍କ ସମେତ ସମସ୍ତ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।