ତାଳଚେରରେ ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

You are currently viewing ତାଳଚେରରେ ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍ସ ଜରିଆରେ ତାଳଚେରଠାରେ ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦ୍‌ଘାଟନ କରିଛନ୍ତି। ଏହି ହସ୍ପିଟାଲ ପ୍ରତିଷ୍ଠା କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ।

ଏ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ତାଳଚେର ହେଉଛି ସଂଗ୍ରାମ ଓ ସ୍ୱାଭିମାନର ଭୂମି। ମହାନ ସଂଗ୍ରାମୀ ନେତା ପବିତ୍ର ମୋହନ ପ୍ରଧାନ ଏହି ମାଟିରେ ଜନ୍ମ ନେଇଥିଲେ। ସ୍ୱାଧୀନତା ସଂଗ୍ରାମଠାରୁ ଆରମ୍ଭ କରି ରାଜ୍ୟର ବିକାଶ କ୍ଷେତ୍ରରେ ସେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖି ଯାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ସ୍ୱର୍ଗତ ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଏହି ହସ୍ପିଟାଲକୁ ଆଗାମୀ ଦିନରେ ଏକ ମେଡିକାଲ୍ କଲେଜରେ ପରିଣତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କେନ୍ଦ୍ର ଶିକ୍ଷା,ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଥିଲେ ଯେ ଆଜି ଆମ ସମସ୍ତଙ୍କ ପାଇଁ ଏହା ଏକ ଗୌରବର ଦିନ ଓ ସ୍ମରଣୀୟ ହୋଇରହିବ। ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କ ନାମରେ ଏହି ହସ୍ପିଟାଲ ପ୍ରତିଷ୍ଠା ହେବା ଦ୍ୱାରା ଏ ମାଟି ତାଙ୍କୁ ଉପଯୁକ୍ତ ସମ୍ମାନ ଦେଲା। ଏଥିସହିତ ମୁଖ୍ୟମନ୍ତ୍ରୀଙ୍କୁ ସେ ଧନ୍ୟବାଦ ଦେଇ ଖୁବ୍ ଶୀଘ୍ର ମେଡିକାଲ୍ କଲେଜ କାର୍ଯ୍ୟକାରୀ କରିବା ପାଇଁ ଅନୁରୋଧ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଢେଙ୍କାନାଳ ସାଂସଦ ମହେଶ ସାହୁ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, କୋଲ ଇଣ୍ଡିଆ ଅଧ୍ୟକ୍ଷ, ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଅନୁଗୁଳ ଜିଲ୍ଳାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ।

Share

Leave a Reply