ମୁଖ୍ୟ ଖବର

ଛେଣ୍ଡିପଦାରେ ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣି ଶିବିର, ୩୧୫ ଅଭିଯୋଗ ମଧ୍ୟରୁ ୨୫ର ହେଲା ତୁରନ୍ତ ଫଇସଲା

By Sanjeeb Biswal

February 20, 2023

ଅନୁଗୁଳ: ଆଜି ପୂର୍ବାହ୍ନରେ ଛେଣ୍ଡିପଦା ବ୍ଲକ କାର୍ଯ୍ୟାଳୟରେ ମିଳିତ ଜନ ଶୁଣାଣି ଶିବିର ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଶିବିରରେ ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ର ଯୋଗ ଦେଇଥିଲେ। ଦାଖଲ ହୋଇଥିବା ସମୁଦାୟ ୩୧୫ଟି ଅଭିଯୋଗରୁ ୩୦୪ଟି ବ୍ୟକ୍ତିଗତ ଓ ୧୧ଟି ଗ୍ରାମ୍ୟ ଭିତ୍ତିକ ଅଭିଯୋଗର ଶୁଣାଣି କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ଏହାଛଡା ଦାଖଲ ହୋଇଥିବା ୩୧୫ଟି ଅଭିଯୋଗ ମଧ୍ୟରୁ ୨୫ଟି ଅଭିଯୋଗର ଆଜିର ଶିବିରରେ ଫଇସଲା କରାଯାଇଥିଲା। ଶିବିରକୁ ଆସିଥିବା ଲୋକମାନେ ଜମିଜମା ବିବାଦ, ରାସ୍ତା ସମସ୍ୟା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଭତ୍ତା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ରଜନୀକାନ୍ତ ସ୍ବାଇଁ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ସନ୍ତୋଷ କୁମାର ପ୍ରଧାନ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଳିତ ମୋହନ ବେହେରା, ଉପଜିଲ୍ଲାପାଳ ବଇତୁରା ଦୀପ୍, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ।