ଅନୁଗୁଳ : ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଦାଖଲ ହୋଇଥିବା ସମୁଦାୟ ୭୬ଟି ଅଭିଯୋଗରୁ ୬୪ଟି ବ୍ୟକ୍ତିଗତ ଓ ୧୨ଟି ଗ୍ରାମ୍ୟ ଭିତ୍ତିକ ଅଭିଯୋଗର ଶୁଣାଣି କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ
ଅଧିକାରୀଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ଏହାଛଡା ୭୬ ଅଭିଯୋଗ ମଧ୍ୟରୁ ୧୮ଟିର ଆଜି ଫଇସଲା କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ସହାୟତା ପାଣ୍ଠିରୁ ୨ ଜଣଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ମୋଟ ୨୦ ହଜାର ଟଙ୍କା ଚେକ୍ ଆକାରରେ ଚିକିତ୍ସା ସହାୟତା ପ୍ରଦାନ କରାଯାଇଥିଲା। ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟରାସ୍ତା, ଶିକ୍ଷା, ଜମିଜମା ବିବାଦ, ଭୂମିହୀନ, ପାରିବାରିକ କଳହ, ଆଧାର କାର୍ଡ, ଭିନ୍ନକ୍ଷମ ସମସ୍ୟା, ଏଡ୍ସ୍ ସମସ୍ୟାର ନିରାକରଣ, ପାନୀୟ ଜଳ ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଅନୁଗୁଳ ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ର, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ରଜନୀକାନ୍ତ ସ୍ବାଇଁ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ସନ୍ତୋଷ କୁମାର ପ୍ରଧାନ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଳିତ ମୋହନ ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନ, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ଡେପୁଟି କଲେକ୍ଟର ମଧୁସ୍ମିତା ବିଶି, ମିନର୍ଭା ନାୟକ ଓ ସତ୍ୟାନନ୍ଦ ଦାସଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ।