ଅନ୍ୟାନ୍ୟ

ପୋକତୁଙ୍ଗା ବିଦ୍ୟାଳୟର ବାର୍ଷିକ ଉତ୍ସବରେ କୃତୀ ଛାତ୍ରଛାତ୍ରୀ ପୁରସ୍କୃତ; ମନ ମୋହିଲା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ

By Angul TV Bureau

February 07, 2026

ଅନୁଗୁଳ: ଅନୁଗୁଳ ଜିଲ୍ଲା ଅନ୍ତର୍ଗତ ପୋକତୁଙ୍ଗା ନୋଡ଼ାଲ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଆଜି ମହାସମାରୋହରେ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଉତ୍ସବର ଶୁଭାରମ୍ଭ କରିଥିଲେ। ସେ ନିଜ ଅଭିଭାଷଣରେ ଛାତ୍ରଛାତ୍ରୀମାନଙ୍କୁ ପିତାମାତା ଓ ଗୁରୁଜନଙ୍କ ଆଜ୍ଞାଧୀନ ହେବା ସହ ନିଜ ଗ୍ରାମର ଗୌରବ ବୃଦ୍ଧି ପାଇଁ ନିଷ୍ଠାର ସହ ଅଧ୍ୟୟନ କରିବାକୁ ପରାମର୍ଶ ଦେଇଥିଲେ।

ମୁଖ୍ୟ ବକ୍ତା ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ ଯୋଗଦେଇ ପିଲାମାନଙ୍କୁ ନିଜର ଲକ୍ଷ୍ୟ ସ୍ଥିର କରି ଆଗକୁ ବଢ଼ିବାକୁ ଉତ୍ସାହିତ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମାନସୀ ନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ସମ୍ମାନିତ ଅତିଥି ଭାବେ ସରପଞ୍ଚ ସୁଜିତ ମହାଳିକ, ପରିଚାଳନା କମିଟି ସଭାପତି ଯୋଗେଶ କୁମାର ସାହୁ, ଜିତେନ୍ଦ୍ର ପ୍ରଧାନ, କୁମୁଦ ଚନ୍ଦ୍ର ପ୍ରଧାନ ଏବଂ ଲମ୍ବୋଦର ଦେହୁରୀ ପ୍ରମୁଖ ଉପସ୍ଥିତ ଥିଲେ।

ବରିଷ୍ଠ ଶିକ୍ଷୟିତ୍ରୀ ସ୍ୱର୍ଣ୍ଣଲତା ଦାଶ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ୱାରା ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇ ପୁରସ୍କୃତ କରାଯାଇଥିଲା।