ମୁଖ୍ୟ ଖବର

ବିଜେପିର ରାଜ୍ୟ ସଭାପତି ଭାବେ ନିଯୁକ୍ତ ହେଲେ ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ

By Angul TV Bureau

March 23, 2023

ଭୁବନେଶ୍ୱର: ବିଜେପିର ରାଜ୍ୟ ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ। ସମୀର ମହାନ୍ତିଙ୍କ ସ୍ଥାନରେ ସେ ଏହି ଦାୟିତ୍ବ ନିର୍ବାହ କରିବେ। ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ମନମୋହନ ସାମଲଙ୍କୁ ରାଜ୍ୟ ସଭାପତି ଭାବେ ନିଯୁକ୍ତ କରିଛନ୍ତି। ସୂଚନାଯୋଗ୍ୟ, ମନମୋହନ ସାମଲ ଭଦ୍ରକ କଲେଜରେ ପାଠ ପଢ଼ୁଥିବା ବେଳେ ୧୯୭୯ ମସିହାରେ ଭଦ୍ରକ କଲେଜର ସଭାପତି ଭାବରେ ନିର୍ବାଚିତ ହୋଇଥିଲେ। ଏହି ସମୟରେ ସେ ଏବିଭିପିର ସଦସ୍ୟ ହୋଇଥିଲେ। ପରେ ସେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିଲେ ଏବଂ ସେ ରାଜ୍ୟ ବିଜେପିର ସଭାପତି ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି। ସେ ୨୦୦୪ ମସିହାରେ ଭଦ୍ରକ ଜିଲ୍ଲା ଧାମନଗର ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।

ମନମୋହନ ୨୦୦୪ ମସିହାରେ ହୋଇଥିବା ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ଧାମନଗର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ି ବିଜୟୀ ହୋଇଥିଲେ। ବିଜେପି-ବିଜେଡି ମେଣ୍ଟ ଥିବା ବେଳେ ସେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ରାଜସ୍ୱ ଓ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ଏଥିସହ ସେ ରାଜ୍ୟସଭା ସାଂସଦ ମଧ୍ୟ ଥିଲେ।